ଭୁବନେଶ୍ୱର: ଓଡ଼ିଶାରେ ପୁଣି ସକ୍ରିୟ ହେବାକୁ ଯାଉଛି ବର୍ଷା। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଶନିବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆକଳନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିପାରେ। ବିଶେଷକରି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରେ ଭାରୀ ବର୍ଷା ହେବାର ଆଶଙ୍କା ରହିଛି।
ଶନିବାର ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।
ଲଘୁଚାପର ପ୍ରଭାବରେ ପବନର ବେଗ ମଧ୍ୟ ବଢ଼ିପାରେ। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନର ବେଗ ୬୦ କିଲୋମିଟର ଛୁଇଁପାରେ। ଫଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ରହିବାର ସମ୍ଭାବନା ରହିଛି।
ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀଙ୍କୁ ଶୀଘ୍ର ଉପକୂଳକୁ ଫେରିଆସିବାକୁ କୁହାଯାଇଛି। ଲଘୁଚାପ ଯୋଗୁଁ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ବଢ଼ିବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ପାଣିପାଗ ଓ ସ୍ଥିତି ଉପରେ ନଜର ରଖାଯାଇଛି।

