ଗର୍ଜନ କରି ମାଡ଼ି ଆସୁଛି ବାତ୍ୟା ! ଏହି ଜିଲ୍ଲାରେ କରିବ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର, ୨୦/୦୯: ବଙ୍ଗୋପସାଗରରେ ପୁଣି ସକ୍ରିୟ ହୋଇଛି ପାଣିପାଗ ପ୍ରଣାଳୀ। ଥାଇଲାଣ୍ଡ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପରେ ପରିଣତ ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଆସନ୍ତା ୨୧ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେଇପାରେ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆକଳନ ଅନୁସାରେ, ୨୨ ତାରିଖ ସୁଦ୍ଧା ଏହି ପ୍ରଣାଳୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ି ୨୩ ତାରିଖ ସକାଳ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ପହଞ୍ଚିପାରେ।

୨୨ରୁ ବର୍ଷା, ୨୩-୨୫ରେ ବଢ଼ିବ ପ୍ରଭାବ

ସମ୍ଭାବ୍ୟ ଗଭୀର ଅବପାତ ପ୍ରଭାବରେ ଓଡ଼ିଶାରେ ୨୨ ତାରିଖରୁ ବର୍ଷା ବଢ଼ିବ। ୨୩ରୁ ୨୫ ତାରିଖ ମଧ୍ୟରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୨୫ ତାରିଖ ବେଳକୁ ପଶ୍ଚିମ ଓଡ଼ିଶା ଏବଂ ଏହାର ଆଖପାଖ ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ବଢ଼ିପାରେ।

୨୨ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବା ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୨୩ରେ ଦକ୍ଷିଣ ଓଡ଼ିଶାକୁ ଅଧିକ ପ୍ରଭାବ

୨୩ ଓ ୨୪ ତାରିଖରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ। ୨୩ ତାରିଖରେ କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାବ୍ୟତୀତ ଅନ୍ୟ କେତେକ ଜିଲ୍ଲାରେ ମଧ୍ୟ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

୨୫ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିପାରେ। ବିଶେଷକରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

5,000FansLike
10,000SubscribersSubscribe

ସର୍ବଶେଷ ପ୍ରବନ୍ଧ